ପୂଜା ଛୁଟି ଯାଏ ସ୍କୁଲ,କଲେଜ ବନ୍ଦ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଗଷ୍ଟ ୨୭: ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।
ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମ୍‌ଏସ୍‌ଏମ୍‌ଇ, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ ସ୍ୱୟଂ ସହାୟକ ଗୋଷ୍ଠୀ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, କୋଭିଡ ପରିସ୍ଥିତି ଯୋଗୁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇ ଭଉଣୀମାନେ ଯେପରି ଓଡିଶାରେ ରୋଜଗାର ପାଇପାରିବେ, ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବ । ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ପରାମର୍ଶ ଦେଇଛନ୍ତି । ଛେଳି, କୁକୁଡା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।
ସେହିପରି ମାସ୍କ ତିଆରିରେ ନିୟୋଜିତ ଥିବା ସ୍ୱୟଂ ସହାୟକ ଗୋଷ୍ଠୀର ମା ମାନେ ଯେଭଳି ଏହି ସମୟରେ ରୋଜଗାର କରିପାରିବେ, ସେଥିପାଇଁ ବିଧାୟକ ଆଞ୍ଚଳିକ ବିକାଶ ପାଣ୍ଠି ଅର୍ଥରେ ସ୍ୱୟଂ ସହାୟକ ଗୋଷ୍ଠୀରୁ ମାସ୍କ କିଣାଯାଇ ପାରିବ । ସ୍ୱୟଂ ସହାୟକ ଗୋଷ୍ଠୀ ମାନେ ଯେପରି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେଇଥିଲେ ।
ଗ୍ରାମାଞ୍ଚଳରେ ଗୃହ ନିର୍ମାଣ କାମ ଉପରେ ଅଧିକ ଗୁରୁତ୍ୱ ଦେବା ସହ ଚାଷୀମାନଙ୍କୁ ସୁବିଧାରେ ଏବଂ ଶୀଘ୍ର କୃଷି ଋଣ ଯୋଗାଣ ଏବଂ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପର ପୁନରୁଦ୍ଧାରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

Comments are closed.