ସୃଷ୍ଟି ହେଲା ଆଉ ଏକ ଲଘୁଚାପ,ଆଗାମୀ ୫ ଦିନ ଯାଏଁ ଲାଗିରହିବ ବର୍ଷା

0

ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଦାନ ବାନ୍ଧୁଛି ପୁଣି ଏକ ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ଆଗାମୀ ୫ ଦିନ ଯାଏଁ ଜାରି ରହିବ ବର୍ଷା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବର୍ଷା ସହିତ ବଜ୍ରପାତ ବି ହେବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ନେଇ ୧, ୨ ଓ ୩ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆଜି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗିର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୨ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଲଘୁଚାପ ପ୍ରଭାବରେ ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଆସନ୍ତା ୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Govt
Leave A Reply

Your email address will not be published.