ପଞ୍ଚୁକ

ପଞ୍ଚୁକ
Ipsita Picture
By: Ipsita
Published On

 

କାର୍ତ୍ତିକମାସରେ ବଡଏକାଦଶୀ ଦିନଠାରୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଳନ ହେଉଥିବା ଦିନକୁ ପଞ୍ଚୁକ କୁହାଯାଇଥାଏ । ଏହା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଯଥା କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଭାବେ ପାଳନ କରାଯାଏ । ଏହା ମହାପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି । ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ସାତ୍ତ୍ୱିକ ଖାଦ୍ୟ ଆହାର କରିଥାନ୍ତି । କଥାରେ ଅଛି ଏହି ପାଞ୍ଚଦିନ ବଗ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହେ ତେଣୁ ଏହାକୁ "ବକ ପଞ୍ଚକ" ମଧ୍ୟ କୁହାଯାଏ । ତେବେ ପୂରାଣ ଅନୁସାରେ ଶର ଶଯ୍ୟା ଉପରେ ଶାୟିତ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ସେ ଭୀଷ୍ମଙ୍କୁ କହିଲେ, "ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । ତେବେ ସେହି ଦିନ ଭୀଷ୍ମ  ଜଳ ଇଚ୍ଛା କରିଥିଲେ । ତେଣୁ କୃଷ୍ଣ କହିଥିଲେ କି କାର୍ତ୍ତିକ ଏକାଦଶୀ ଦିନ ଆପଣ  ଜଳର ଇଚ୍ଛା କରିଛନ୍ତି । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯାହାଦ୍ୱାରା ଆପଣଙ୍କର ଦେହମନ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ ଓ ଏହା ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନ ପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଲୋକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନକରନ୍ତି । କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଏକଲକ୍ଷ ତୁଳସୀପତ୍ର ଚଢ଼ାଇ ବିଷ୍ଣୁଙ୍କୁ ପୂଜାକଲେ ସମସ୍ତ ଦେବତା ପ୍ରସନ୍ନ ହୋଇ ବର ପ୍ରଦାନ କରନ୍ତି ବୋଲି ଲୋକ ବିଶ୍ୱାସ ମଧ୍ୟ ରହିଛି । ଏହି ଅବସରରେ ଶ୍ରୀମନ୍ଦିର ଠାକୁରମାନଙ୍କୁ ଆକର୍ଷଣୀୟ ବେଶରେ ସୁସଜ୍ଜିତ କରାଯାଏ । ପ୍ରତ୍ୟହ ଅବକାଶ ନୀତି ଶେଷହେବା ପରେ ତିନିଠାକୁରଙ୍କୁ ଏହିସବୁ ବେଶରେ ସଜ୍ଜିତ କରାଯାଏ । ପଞ୍ଚୁକ ଅବସରରେ ମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ଭିଡ ଯମିଥାଏ ।

ଏକାଦଶୀରେ : ଲକ୍ଷ୍ମୀନାରାୟଣ ବେଶ

ଦ୍ୱାଦଶୀରେ : ବାଙ୍କଚୂଡ଼ା ବେଶ

ତ୍ରୟୋଦଶୀରେ : ତ୍ରିବିକ୍ରମ ବେଶ

ଚତୁର୍ଦ୍ଦଶୀରେ : ଲକ୍ଷ୍ମୀନୃସିଂହ ବେଶ

ପୂର୍ଣ୍ଣମୀରେ : ରାଜରାଜେଶ୍ୱର ବେଶ

ମଳତିଥିରେ : ନାଗାର୍ଜୁନ ବେଶ

Tags: