ଆଉ ଏକ ଲଘୁଚାପ, ୪ଦିନ ଯାଏଁ ଲାଗି ରହିବ ବର୍ଷା
ଆଜି ପାଇଁ କଟକ, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର : ରାଜ୍ୟରେ ପଛକୁ ପଛ ଲାଗି ରହିଛି ଲଘୁଚାପ । ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ବାଂଲାଦେଶରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପ୍ରଭାବରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ । ସେହିପରି ଉପକୂଳ ଜିଲ୍ଲା ଗୁଡିକରେ ମଧ୍ୟ ବିଜୁଳି ଘଡଘଡି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଆଜି କଟକ, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୩ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
୨୬ ଓ ୨୭ ତାରିଖରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହିତ ସ୍ଥଳ ଭାଗରେ ପବନର ବେଗ ୬୦ କିମି ବେଗରେ ବହିବାର ସମ୍ଭାବନା ରହିଛି। ତେଣୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।




