ଆଜିଠାରୁ ତିନିଦିନ ବ୍ୟାପି ଶ୍ରୀମନ୍ଦିରରେ ପାଳନ ହେବ ଦେବଦୀପାବଳି ନୀତି
ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ପାଳନ ହେବ ମହାପ୍ରଭୁଙ୍କ ଦେବଦୀପାବଳି ନୀତି । ଏହି ତିନି ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।
ସାଧାରଣ ହିନ୍ଦୁମାନେ ଯେପରି କାର୍ତ୍ତିକ ଅମାବାସ୍ୟା ତିଥି ଦୀପାବଳି ଦିନ ନିଜ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରି ଦୀପଦାନ କରିଥାନ୍ତି ଠିକ ସେହିପରି ମହାପ୍ରଭୁ ଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦା ତିଥିରେ ତିନିଦିନ ଧରି ପିତୃଗଣଙ୍କୁ ଶ୍ରାଦ୍ଧ ପ୍ରଦାନ ପୂର୍ବକ ଦୀପଦାନ କରିଥାନ୍ତି ।
ଆଜି ପ୍ରଥମ ଦିନରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣ କରୁଥିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ । ତେଣୁ ଏହାକୁ ଦେବ ଦୀପାବଳି କୁହାଯାଏ ।
ସନ୍ଧ୍ୟାଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି । ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଶ୍ରୀଜଗନ୍ନାଥ ମହାପ୍ରଭୁ ୧୬ହାତ ,ଶ୍ରୀବଳଭଦ୍ର ୧୪ହାତ ଓ ଦେବୀ ସୁଭଦ୍ରା ୧୨ହାତ ଲମ୍ବ ବିଶିଷ୍ଟ ସୂତା ଶାଢୀ ବା ନାଗପୁରୀ ଶାଢୀ ପରିଧାନ କରିଥାନ୍ତି । ଶ୍ରାଦ୍ଧ ବେଶରେ ଠାକୁରମାନେ ତଡଗୀ, ନଳୀଭୂଜ, ଚନ୍ଦ୍ର, ସୂର୍ଯ୍ୟ, କୁଣ୍ଡଳୀ, ଆଡକାନି, ହରିଡା ମାଳି, କମରପଟି ପ୍ରଭୃତି ସ୍ୱର୍ଣ୍ନ ଅଳଙ୍କାରରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ।


