ସୃଷ୍ଟି ହେଲା ଲଘୁଚାପ, ୨ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ଭୁବନେଶ୍ୱର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି । ଏହା ପ୍ରଭାବରେ ଆସନ୍ତା ୫/୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଲଗାଣ ବର୍ଷା ସମ୍ଭାବନା ଅଛି । ଏହା ପରେ ବର୍ଷା ପ୍ରକୋପ କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆଜି ପ୍ରବଳ ବର୍ଷା ନେଇ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ଉପକୂଳ ଓଡ଼ିଶା ଯଥା ବାଲେଶ୍ୱର, ମୟୁରଭଞ୍ଜ ଜଗତସିଂପୁର, କେନ୍ଦ୍ରାପଡା ଆଦି ଜିଲ୍ଲାରେ ଲଘୁଚାପ ଜନିତ ବର୍ଷା ଜାରି ରହିବ ।
ଆସନ୍ତାକାଲି ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରିକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବଢ଼ିଛି ବର୍ଷାର ପରିମାଣ । ଏହାର ପ୍ରଭାବରେ ବିଭିନ୍ନ ଜିଲ୍ଲା, ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ପାଇବ।




