ଲଘୁଚାପ ସକ୍ରିୟ,ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ୨ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗିରହିଛି I ଏହା ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ସକାଳ ୮ଟା ୩୦ ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ଅନୁଗୁଳ ଠାରେ […]
ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ଉତ୍ତର-ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଫଳରେ ୨ ଦିନ ଧରି ସାରା ରାଜ୍ୟରେ ବର୍ଷା ଲାଗିରହିଛି I ଏହା ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ସକାଳ ୮ଟା ୩୦ ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ଅନୁଗୁଳ ଠାରେ ସର୍ବାଧିକ ୧୫୨ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ବୌଦ୍ଧରେ ୬୨ ମିମି, ଢେଙ୍କାନାଳ ରେ ୫୭ ମିମି, ହୀରାକୁଦ ରେ ୪୩.୨ ମିମି ଏବଂ ପୁରୀ ରେ ୪୦.୨ ମିମି ବର୍ଷା ରେକର୍ଡ ହୋଇଛି। ଗୋଟିଏ ପଟେ ମୌସୁମୀ କାରଣରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବା ବେଳେ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ଆହୁରି ବଢ଼ିବ।
ଲଘୁଚାପ ପ୍ରଭାବରୁ ଆଗାମୀ ୨ ଦିନ ଅର୍ଥାତ୍ ୨୬ ଓ ୨୭ ତାରିଖରେ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବ। ବିଶେଷକରି ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଉପରୋକ୍ତ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଙ୍ଗଳବାର ରାଜ୍ୟରେ ବର୍ଷାର ପରିମାଣ କମିବା ସହ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରୀ କରାଯାଇଛି।




