ପ୍ରଥମାଷ୍ଟମୀ
ପ୍ରଥମାଷ୍ଟମୀକୁ ପଢୁଆଁଷ୍ଟମୀ/ପୋଢୁଆଁଷ୍ଟମୀ କହୁନ୍ତି । ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ ଓଡ଼ିଶାର ଏହି ଅନନ୍ୟ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ […]
ପ୍ରଥମାଷ୍ଟମୀକୁ ପଢୁଆଁଷ୍ଟମୀ/ପୋଢୁଆଁଷ୍ଟମୀ କହୁନ୍ତି । ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ ଓଡ଼ିଶାର ଏହି ଅନନ୍ୟ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏଦିନ ବଂଶର ପ୍ରଥମ ଜାତ ସନ୍ତାନଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ ।
ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମାଆମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି ।

ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ପଢୁଆଁ ହେବାଦ କହିଥାନ୍ତି ।
ପରମ୍ପରା ଅନୁଯାୟୀ, ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁଁ ଘରୁ ଆସିଥାଏ । ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧା ଓ ପରିହାସରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ ।
ଏହିବିଧିରେ ସାମାଜିକ ଓ ପାରିବାରିକ ବନ୍ଧନ, ଶୃଙ୍ଖଳା ଓ ଆଦର୍ଶବୋଧ ଅତିମାତ୍ରାରେ ନିହିତ ରହିଛି । ଜ୍ୟେଷ୍ଠପୁତ୍ର, ପରିବାରରେ ପିତା ସମାନ । ପିତାଙ୍କ ଅନ୍ତେ କିମ୍ବା ପିତାଙ୍କ ଅକର୍ତ୍ତବ୍ୟରେ ଘର ଚଳାଇବା ଓ ଅନ୍ୟ ଭାଇଭଉଣୀମାନଙ୍କୁ ପ୍ରତିପୋଷଣ କରିବା ଦାୟିତ୍ୱ ଜ୍ୟେଷ୍ଠ ପୁତ୍ର ଉପରେ ପଡ଼ିଥାଏ । ତେଣୁ ତାକୁ ସମସ୍ତେ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ପ୍ରଥମାଷ୍ଟମୀ ଓ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ପ୍ରଥମ ସନ୍ତାନ ବା ଜ୍ୟେଷ୍ଠ ସନ୍ତାନକୁ ପୂଜା ବନ୍ଦାପନା କରିବାର ବିଧି ଆମ ସମାଜରେ ପ୍ରଚଳିତ ।
ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏନାହିଁ । କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ପ୍ରସିଦ୍ଧ । ଏହି ଦିନରେ ଏଣ୍ଡୁରି ପିଠା ବିଶେଷ ଭାବେ ଠାକୁରଙ୍କ ପାଖରେ ଭୋଗ ଲାଗି ହୋଇଥାଏ । ଏହି ପିଠା ଚାଉଳ ଚୂନା ଓ ବିରିରୁ ତିଆରି ବହଳିଆ ଆଣ ବା ଦୋରୁଅକୁ ବାମ୍ଫରେ ରଖି ସିଝାଇ ତିଆରି କରାଯାଏ । ପ୍ରଥମାଷ୍ଟମୀରେ ଏହି ପିଠା ଓଡ଼ିଶାର ଘରେ ଘରେ ପ୍ରସ୍ତୁତ କରାଯାଏ ।

ଅରୁଆ ଚାଉଳ ଚୂନା, ବିରି ବଟା, ଲୁଣ, ଚିନି ଆଦିକୁ ମିଶାଇ କେଇଘଣ୍ଟା ରଖାଯାଏ । ଗୋଟିଏ ହାଣ୍ଡିର ମୁହଁରେ କନାବାନ୍ଧିି ସେହିହାଣ୍ଡିକୁ ଚୂଲି ଉପରେ ରଖାଯାଏ । ଏହାକୁ ‘ଅଥରା ହାଣ୍ଡି’ କହନ୍ତି । ଏହି ଅଥରା ହାଣ୍ଡି ଉପରେ ହଳଦୀପତ୍ରରେ ନଡ଼ିଆ ପୁରମିଶା ଆଣ ଲଦି ହାଣ୍ଡି ଉପରେ ପଲମ ବା ଘୋଡ଼ଣି ଢାଙ୍କି ଦିଆଯାଏ । କିଛି ସମୟପରେ ବାମ୍ଫ ଭିତରେ ପିଠା ସିଝିଗଲେ, ତାକୁ କାଢି ଅଣାଯାଏ ଏବଂ ଏହା ହିଁ ଏଣ୍ଡୁରି ପିଠା ।

ହଳଦୀ ପତ୍ରର ସୁଗନ୍ଧ ବାସ୍ନା ପିଠା ମଧ୍ୟରେ ଭରି ଯାଇଥାଏ, ଯାହା ପିଠାର ସ୍ୱାଦକୁ ଦ୍ୱଗୁଣିତ କରେ ।




