ଅତିପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ୍ ୱାର୍ଣ୍ଣିଂ ଜାରି

ଅତିପ୍ରବଳ ବର୍ଷା ନେଇ ଓଡିଶାକୁ ରେଡ୍ ୱାର୍ଣ୍ଣିଂ ଜାରି
Samaya Live News Picture
Published On

ବାରିପଦା : ଓଡିଶାକୁ ଭାରି ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ବିଶେଷକରି ଉତ୍ତର ଓଡ଼ିଶା ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ପାଇଁ 'ରେଡ୍ ୱାର୍ଣ୍ଣିଂ' ଜାରି କରାଯାଇଛି । ସମ୍ଭାବ୍ୟ ଭାରି ବର୍ଷା ଏବଂ କୋମଳମତି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସଏଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଆଜି ମଧ୍ୟାହ୍ନ ଭୋଜନ ପରେ ଜିଲ୍ଲାର ସମସ୍ତ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ସହ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଜିଲ୍ଲାବ୍ୟାପୀ ଘଡ଼ଘଡ଼ି, ବିଜୁଳି ଏବଂ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ଆସନ୍ତା ୨୪ ରୁ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାକୁ ଥିବାରୁ ଅଗଷ୍ଟ ୧୦ ରୁ ୧୭ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବର୍ଷାର ପ୍ରଭାବ ବଜାୟ ରହିବ । ବର୍ଷାଜନିତ ସମ୍ଭାବ୍ୟ ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, କଟକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଅନ୍ୟ ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ଦିନ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସତର୍କତା ଜାରି କରିଛି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଓଡ଼ିଶାରେ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି । ଏହି ସତର୍କତା ଅଗଷ୍ଟ ୮ ତାରିଖ ସକାଳ ୮:୩୦ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ତୀବ୍ର ମୌସୁମୀ କାର୍ଯ୍ୟକଳାପ ଜାରି ରହିବା ଆଶା କରାଯାଉଥିବାରୁ ପ୍ରଭାବିତ ଅଞ୍ଚଳର ବାସିନ୍ଦା ଏବଂ ସ୍ଥାନୀୟ କର୍ତ୍ତୃପକ୍ଷଙ୍କୁ ସତର୍କ ରହିବାକୁ ବିଭାଗ ପରାମର୍ଶ ଦେଇଛି।

 

 

 

 

 

 

 

Tags: