ସ୍ନାନ କରୁଛନ୍ତି ଦାରୁ ଦିଅଁ

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି। ଏନେଇ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି। ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ […]

Samaya Live Picture
Published On

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି। ଏନେଇ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ନେଇ ଆକଳନ କରାଯାଇଛି।

ଦେବସ୍ଥାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । ପରେ ଏହି କୂଅକୁ ବର୍ଷସାରା ସିଂହ ହିଁ ସୁରକ୍ଷିତ ରଖିଥାଏ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ ।

ଜଗନ୍ନାଥ – ୩୫ ଗରା
ବଳଭଦ୍ର – ୩୩ ଗରା
ସୁଭଦ୍ରା – ୨୨ ଗରା
ସୁଦର୍ଶନ – ୧୮ ଗରା

ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ । ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ,୨୨ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ । ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି ।

ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ମାର୍କେଟଛକ ଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ସେହିପରି ଆଇନ ଶୃଙ୍ଖଳା, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିିସ ଫୋର୍ସ ସହ ଅଧିକାରୀମାନଙ୍କୁ ନିୟୋଜିତ କରାଯାଇଛି। ଚଳିତବର୍ଷ ସମୁଦାୟ ୬୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବାକୁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ବେଚ୍ଛାସେବୀମାନଙ୍କୁ ମଧ୍ୟ ନିୟୋଜିତ କରାଯାଇଛି।

Tags: