ଆଜି ପୌଷ ପୂର୍ଣ୍ଣିମା,ମହାପ୍ରଭୁଙ୍କ ଦେଵାଭିଷେକ ନୀତି

ଆଜି ପୌଷ ପୂର୍ଣ୍ଣିମା,ମହାପ୍ରଭୁଙ୍କ ଦେଵାଭିଷେକ ନୀତି
Samaya Live News Picture
Published On

ପୁରୀ : ଆଜି ପବିତ୍ର ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ଅନୁଷ୍ଠିତ ହେବ ।  ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ ।  ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ । ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ। 

ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥାଏ । ମସ୍ତକରେ କିରୀଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ା ମାଳି, ବାହାଡା ମାଳି, ସେବତୀ ମାଳି, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାର ରେ ମହାପ୍ରଭୁ ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରି ହଜାର ହଜାର ଭକ୍ତ ଆତ୍ମସନ୍ତୋଷ ଲାଭ କରିଥାନ୍ତି । ରତ୍ନ ସିଂହାସନରେ ବର୍ଷକୁ ୪ ଥର ହେଉଥିବା ସୁନାବେଶ ମଧ୍ୟରୁ ଆଜିର ବେଶ ଅନ୍ୟତମ । 

ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ।  ପ୍ରଭୁ ଶ୍ରୀରାମ ୧୪ ବର୍ଷ ବନବାସ ପରେ ଆଜି ଦିନରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ସିଂହାସନରେ ଅଧିଷ୍ଠିତ ହୋଇଥିଲେ ।

ସେହି ସ୍ମୃତିରେ ଶ୍ରୀମନ୍ଦିରରେ ପୌଷପୁର୍ଣ୍ଣିମା ଅର୍ଥାତ୍ ଆଜିର ଦିନରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ଅଭିଷେକ ନୀତି ସଂପନ୍ନ ହୋଇଥାଏ ।  ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗିଛି ।

 

Tags: