ଆଜି ପବିତ୍ର ପୌଷ ପୂର୍ଣ୍ଣିମା , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଦେବାଭିଷେକ ନୀତି

ଭୁବନେଶ୍ୱର : ଆଜି ପବିତ୍ର ପୌଷପୁର୍ଣ୍ଣିମା । ଶ୍ରୀ ମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି । ସୁନାବେଶରେ ଝଟକିବେ ଶ୍ରୀଜୀଉ । ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା’ […]

Samaya Live Picture
Published On

ଭୁବନେଶ୍ୱର : ଆଜି ପବିତ୍ର ପୌଷପୁର୍ଣ୍ଣିମା । ଶ୍ରୀ ମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି । ସୁନାବେଶରେ ଝଟକିବେ ଶ୍ରୀଜୀଉ । ମହାପ୍ରଭୁ ରାଜାଧିରାଜ ବା ସୁନାବେଶରେ ବିଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ଗତକାଲି ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ। ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞା ମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା’ ମହାଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ ।

ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ। ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ସକାଳଧୂପ ପରେ ସ୍ୱର୍ଣ୍ଣ ଓ ରତ୍ନ ଖଚିତ ଅଳଙ୍କାରରେ ମହାପ୍ରଭୁ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ । ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ ସହ ହରିଡ଼ାମାଳ, ବାହାଡା ମାଳି, ସେବତୀ ମାଳି, ଆଡ଼କାନି, ଚନ୍ଦ୍ର ସୂର୍ଯ୍ୟ ଆଦି ବିବିଧ ପ୍ରକାର ସ୍ଵର୍ଣ ଅଳଙ୍କାରରେ ମହାପ୍ରଭୁ ମାନେ ରାଜରାଜେଶ୍ୱର ବେଶରେ ବିଭୂଷିତ ହେବେ। ଶ୍ରୀଜୀଉଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ପୁଷ୍ୟାଭିଷକ ଅନ୍ୟତମ ଉତ୍ସବ। ରତ୍ନ ସିଂହାସନରେ ବର୍ଷକୁ ୪ ଥର ହୋଇଥାଏ ମହାପ୍ରଭୁଙ୍କ ସୁନାବେଶ

ପୁରାଣ ବର୍ଣ୍ଣନା ଅନୁଯାୟୀ ଆଜିର ତିଥିରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ଅଯୋଧ୍ୟା ରାଜସିଂହାସନରେ ଅଭିଷିକ୍ତ ହୋଇଥିଲେ । ପୌଷ ପୂର୍ଣ୍ଣିମା ଦିନ ରାମଚନ୍ଦ୍ର ଚଉଦ ବର୍ଷ ବନବାସ ପରେ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜ୍ୟଭାର ଗ୍ରହଣ କରିବା ପୂର୍ବରୁ ତାଙ୍କର ରାଜାଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହାକୁ ଏକ ସ୍ମୃତି ରୂପେ ଗ୍ରହଣ କରି ପ୍ରତି ବର୍ଷ ଏହି ଦିନ ଦେବ ମନ୍ଦିର ମାନଙ୍କରେ ଠାକୁରମାନଙ୍କର ପୁଷ୍ୟାଭିଷେକ ହେଉଅଛି । ଏହିଦିନ ଶ୍ରୀ ଜୀଉମାନଙ୍କର ପୁଷ୍ୟାଭିଷେକ ହୁଏ ।

ଶ୍ରୀମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ଅଭିଷେକୋତ୍ସବ ରାଜାଙ୍କ ଅଭିଷେକ ରୂପେ ପାଳିତ ହୁଏ । ଏହି ଅଭିଷେକୋତ୍ସବ ଦର୍ଶନରେ ଦର୍ଶନାର୍ଥୀ ପାପମୁକ୍ତ ହୋଇ ବୈକୁଣ୍ଠପୁରୀ ପ୍ରାପ୍ତ ହୁଏ ବୋଲି ବିଶ୍ୱାସ କରାଯାଏ ।

Tags: