ଭୁବନେଶ୍ୱର: ଜୁନ ୨୩: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି । ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର । ଏସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସୂଚନାଥାଉ କି, ପୂର୍ବ ଝାଡ଼ଖଣ୍ଡ ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡିଶାର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୧.୫କି.ମି. ଏବଂ ୫.୮ କି.ମି. ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ବାୟୁମଣ୍ଡଳରେ ଦକ୍ଷିଣ ଆଡକୁ ଢଳିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.