ପୁରୀ ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କ ରଥଯାତ୍ରା ପରମ୍ପରା ହଜାର ହଜାର ବର୍ଷ ତଳରୁ ହୋଇଆସୁଛି । ହିନ୍ଦୁ ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ଦ୍ୱାରକାଧିପତି ଶ୍ରୀକୃଷ୍ଣ ପ୍ରାଣ ଛାଡ଼ିଲେ । ଶେଷତମ ଆତ୍ମୀୟ ଭାବରେ ପାଣ୍ଡବଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟା କରି ବିଫଳ ହୋଇଥିଲେ ।
କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ସେହି ସମୟରେ ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ(ପାଣ୍ଡବଗଣ) ତାହାକୁ ମହୋଦଧିରେ ବିସର୍ଜନ କରିଦିଅ । ଠିକ୍ ପାଣ୍ଡବମାନେ ତାହାହିଁ କଲେ ।
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦU ପିଣ୍ଡ ଦାରୁ ରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦୁ୍ୟମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ । ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ୱାର ଖୋଲାଗଲା ମୂର୍ତ୍ତି ର୍ନିମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା । ସେହି ଅଧାଗଢ଼ା ମୂର୍ତ୍ତିକୁ ଶ୍ରୀମନ୍ଦିରରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ, ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ । ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି ।
ଐତିହାସିକ ହରିହର କାନୁନଗୋଙ୍କ ମତରେ ଜଗନ୍ନାଥଙ୍କ ରଥଯାତ୍ରା ଏକ ବୌଦ୍ଧ ଅନୁଷ୍ଠାନ । ସିଂହଳରେ ଯେଉଁ ରଥଯାତ୍ରା ପାଳିତ ହୁଏ, ସେଥିରେ ବୁଦ୍ଧଙ୍କ ଦନ୍ତକୁ ବୈଶାଖ ଶୁକ୍ଳ ତ୍ରୟୋଦଶୀ ଦିନ ବାହାର କରି ହାତୀ ଉପରେ ଥୋଇ ମହା ସମାରୋହରେ ଶୋଭାଯାତ୍ରାରେ ନିଆଯାଏ ଓ ନଗରର ରାଜମାର୍ଗ ମାନ ବୁଲାଇ ସେହି ଦନ୍ତକୁ ଶେଷରେ ଏକ ମଣ୍ଡପରେ ସ୍ଥାପନ କରାହୁଏ । ସେଠାରେ ଛଅ ଦିନ ରହିବା ପରେ ପୁଣି ଦନ୍ତ ମନ୍ଦିରକୁ ଫେରି ଆସେ । ପୁରୀରେ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ଜଗନ୍ନାଥ ମହାପ୍ରଭୁ କାଷ୍ଠ ନିର୍ମିତ ରଥରେ ବାହାରି ଶୀକ୍ଷେତ୍ରର ବଡ଼ଦାଣ୍ଡ ଅତିକ୍ରମ କରି ଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚନ୍ତି ଏବଂ ସେଠାରେ ୭ଦିନ ରହି ପୁଣି ଶୁକ୍ଳ ଦଶମୀ ଦିନ ଶ୍ରୀମନ୍ଦିରରକୁ ବାହୁଡା ବିଜେରେ ଫେରିଥାନ୍ତି ।
ପୁରାତ‰ବିତ ରାଜେନ୍ଦ୍ର ଲାଲ ମିତ୍ରଙ୍କ ମତନୁଯାୟୀ ପୁରୀର ରଥଯାତ୍ରା ବୁଦ୍ଧଦେବଙ୍କ ଜନ୍ମୋତ୍ସବ ପାଳନର ସ୍ମୃତି ମାତ୍ର । ଷୋଡ଼ଶ ଶତାଦ୍ଦୀରେ ରଚିତ ମାଦଳା ପାଞ୍ଜିରେ ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ଦେଖିବାକୁ ମିଳେ । ଏଥିରେ ଉଲ୍ଲେଖ ଅଛି ଯେ, ରାଜା ବୀର ନରସିଂହ ଦେବ ରାଜ୍ୟ ଗଠନ କଲେ । ଏ ରାଜା ବାଙ୍କୀ ମୁହାଣ ପୋତାଇଲେ । ଛଅ ରଥ ହେଉଥିଲା, ରାଜା ତାହା ପୋତାଇ ତିନି ରଥ କରାଇଲେ । ଗୁଣ୍ଡିଚା ଘର ଦେଉଳ କାଠ ମଣ୍ଡପ ହୋଇଥିଲା, ତାହା ପଥର ମଣ୍ଡପ କଲେ । ଏ ଦୁଇ ପାଖେ ବଳଗଣ୍ଡି କଲେ ।
କେହି ଜଣେ ଗବେଷକ ଲାଙ୍ଗୁଳା ନରସିଂହ ଦେବଙ୍କ ପରବର୍ତ୍ତୀ ରାଜା ଭାନୁଦେବଙ୍କ (ଖ୍ରୀ.ଅ ୧୨୬୪-୧୨୭୮)ଙ୍କ ସମୟରେ ଛଅ ରଥ ପରିବର୍ତ୍ତେ ତିନି ରଥ ହେବାର ବ୍ୟବସ୍ଥା ହୋଇଥିଲା ବୋଲି ଉଲ୍ଲେଖ କରିଛନ୍ତି । ଏହି ଛଅ ରଥ କେବେଠାରୁ ଶ୍ରୀକ୍ଷେତ୍ରରେ ପ୍ରଚଳିତ ହେଲା, ସେ ସମ୍ପର୍କରେ ମାଦଳା ପାଞ୍ଜିରୁ କୌଣସି ତଥ୍ୟ ମିଳୁନାହିଁ । କି;ୁ ତ୍ରୟୋଦଶ ଶତାଦ୍ଦୀ ପୂର୍ବରୁ ପୁରୀରେ ରଥ ଯାତ୍ରା ଅନୁଷ୍ଠିତ ହେଉଥିବାର ପ୍ରମାଣ ମିଳୁଛି । ତ୍ରୟୋଦଶ ଶତାଦ୍ଦୀ ପୂର୍ବରୁ ରଚିତ ‘ସ୍କନ୍ଧ ପୁରାଣ’ ଉତ୍କଳ ଖଣ୍ଡର ପୁରୁଷୋତ୍ତମ ମାହାତ୍ମ୍ୟରେ ରଥଯାତ୍ରାର ସବିଶେଷ ବିବରଣୀ ବର୍ଣ୍ଣନା ରହିଛି ।
ଆଉ କେତେକ ଇହିହାସ କଥା ଅନୁସାରେ, ଖ୍ରୀ.ଅ ଅଷ୍ଟମ ବା ନବମ ଶତାଦ୍ଦୀରେ ସୋମବଂଶୀ ରାଜା ଯଯାତି କେଶରୀଙ୍କ ସମୟରେ ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବିଷୟ ଐତିହାସକ ଭିକାରୀ ପଟ୍ଟନାୟକଙ୍କ ୧୮୫୯ ମହିାରେ ରଚିତ ‘ରଥ ଚକଡ଼ା ପୋଥି’ରୁ ଉଦ୍ଧାର କରାଯାଇଛି । ଏହି ରଥ ଚକଡ଼ା ପାଣ୍ଡୁଲିପିଟି ପୁରୀ ବାସେଳି ସାହିର ତତ୍କାଳୀନ ରଥ ଅମୀନ ଓ ରଥକାର ଫକୀର ମହାପାତ୍ରଙ୍କଠାରୁ ପ୍ରାପ୍ତ ଓ ପୁରୀ ବଡ଼ ଓଡ଼ିଆ ମଠରେ ତାହା ସୁରକ୍ଷିତ ଥିଲା ବୋଲି ବିଶ୍ୱାସ କରାଯାଏ । ଅନେକ ବିଶିଷ୍ଠ ଐତିହାସିକ ଏବଂ ପୁରାତନତତ୍ତ୍ୱବିତ୍ ରଥଯାତ୍ରାକୁ ନେଇ ବହୁ ମତ ଓ କିମ୍ବଦନ୍ତୀ ବର୍ଣ୍ଣନା କରିଛନ୍ତି । ସେ ଯାହା ମଧ୍ୟ ହେଉ ନା କାହିଁକି ହିନ୍ଦୁମାନଙ୍କ ପର୍ବରେ ରଥଯାତ୍ରାର ଏକ ବିଶେଷ ମହତ୍ୱ ରହିଛି ଓ ଯାହା ବହୁ ପୁରାତନ ବୋଲି ବିଶ୍ୱାସ କରାଯାଉଛି ।
Comments are closed.